ଗୀତସଂହିତା 109:1-31 IRVOry - Bible AI

1ହେ ମୋହର ପ୍ରଶଂସାପାତ୍ର ପରମେଶ୍ୱର, ନୀରବ ହୁଅ ନାହିଁ;

2କାରଣ ଲୋକମାନେ ମୋʼ ବିରୁଦ୍ଧରେ ଦୁଷ୍ଟତାରୂପ ମୁଖ ଓ ପ୍ରବଞ୍ଚନାରୂପ ମୁଖ ଫିଟାଇ ଅଛନ୍ତି। ସେମାନେ ମିଥ୍ୟାବାଦୀ ଜିହ୍ୱାରେ ମୋʼ ସଙ୍ଗେ କଥା କହିଅଛନ୍ତି।

3ଆହୁରି, ସେମାନେ ଦ୍ୱେଷ ବାକ୍ୟରେ ମୋତେ ଘେରିଅଛନ୍ତି ଓ ବିନା କାରଣରେ ମୋʼ ସଙ୍ଗେ ଯୁଦ୍ଧ କରିଅଛନ୍ତି।

4ମୋʼ ପ୍ରେମ ପାଲଟେ ସେମାନେ ମୋହର ବିପକ୍ଷ ହୋଇଅଛନ୍ତି; ମାତ୍ର ମୁଁ ପ୍ରାର୍ଥନାରେ ପ୍ରବୃତ୍ତ।

5ଆଉ, ସେମାନେ ମୋତେ ମଙ୍ଗଳ ପାଲଟେ ଅମଙ୍ଗଳ ଓ ପ୍ରେମ ପାଲଟେ ଘୃଣା ପ୍ରତିଦାନ କରିଅଛନ୍ତି।

6ତୁମ୍ଭେ ତାହା ଉପରେ ଏକ ଦୁଷ୍ଟ ଲୋକ ନିଯୁକ୍ତ କର; ପୁଣି, ଜଣେ ବିପକ୍ଷ ତାହାର ଦକ୍ଷିଣ ପାର୍ଶ୍ୱରେ ଠିଆ ହେଉ।

7ସେ ବିଚାରିତ ହେବା ସମୟରେ ଦୋଷୀକୃତ ହେଉ; ପୁଣି, ତାହାର ପ୍ରାର୍ଥନା ପାପ ରୂପେ ଗଣିତ ହେଉ।

8ତାହାର ଆୟୁ ଅଳ୍ପ ହେଉ ଓ ଅନ୍ୟ ଲୋକ ତାହାର ପଦ ପ୍ରାପ୍ତ ହେଉ।

9ତାହାର ସନ୍ତାନମାନେ ପିତୃହୀନ ହେଉନ୍ତୁ ଓ ତାହାର ଭାର୍ଯ୍ୟା ବିଧବା ହେଉ।

10ତାହାର ସନ୍ତାନଗଣ ବାରବୁଲା ହୋଇ ଭିକ୍ଷା କରନ୍ତୁ ଓ ସେମାନେ ଆପଣା ଆପଣା ଉଜାଡ଼ ସ୍ଥାନରୁ ଆହାର ଅନ୍ୱେଷଣ କରନ୍ତୁ।

11ମହାଜନ ତାହାର ସର୍ବସ୍ୱ ଧରୁ; ଆଉ, ବିଦେଶୀମାନେ ତାହାର ଶ୍ରମର ଫଳ ଲୁଟ କରନ୍ତୁ।

12ତାହା ପ୍ରତି କୃପା ପ୍ରକାଶ କରିବାକୁ କେହି ନ ଥାଉ, କିଅବା ତାହାର ପିତୃହୀନ ସନ୍ତାନଗଣକୁ କେହି ଦୟା କରିବାକୁ ନ ରହୁ।

13ତାହାର ବଂଶ ଉଚ୍ଛିନ୍ନ ହେଉ; ଆସନ୍ତା ପୁରୁଷରେ ତାହାଙ୍କ+ 109:13 ତାହାଙ୍କ ସେମାନଙ୍କ ନାମ ଲୁପ୍ତ ହେଉ।

14ତାହାର ପିତୃପୁରୁଷଙ୍କ ଅପରାଧ ସଦାପ୍ରଭୁଙ୍କ ସ୍ମରଣରେ ଥାଉ ଓ ତାହାର ମାତାର ପାପ ଲୁପ୍ତ ନ ହେଉ।

15ସଦାପ୍ରଭୁ ଯେପରି ସେମାନଙ୍କ ସ୍ମରଣ ପୃଥିବୀରୁ ଉଚ୍ଛିନ୍ନ କରିବେ, ଏଥିପାଇଁ ସେମାନେ ତାହାଙ୍କ ସାକ୍ଷାତରେ ସର୍ବଦା ଥାଉନ୍ତୁ।

16ସେ ଦୟା ପ୍ରକାଶ କରିବାକୁ ସ୍ମରଣ କଲା ନାହିଁ। ମାତ୍ର ଦୁଃଖୀ, ଦୀନହୀନ ଓ ଭଗ୍ନାନ୍ତଃକରଣ ଲୋକଙ୍କୁ ବଧ କରିବା ପାଇଁ ତାଡ଼ନା କଲା।

17ଆହୁରି, ସେ ଅଭିଶାପ ଭଲ ପାଇଲା ଓ ତାହା ତାହା ପ୍ରତି ଘଟିଲା; ଆଉ, ସେ ଆଶୀର୍ବାଦରେ ସନ୍ତୁଷ୍ଟ ହେଲା ନାହିଁ, ଏଣୁ ତାହା ତାହାଠାରୁ ଦୂର ହେଲା।

18ମଧ୍ୟ ସେ ବସ୍ତ୍ର ପରି ଅଭିଶାପ ପରିଧାନ କଲା, ପୁଣି, ତାହା ଜଳ ପରି ତାହାର ଅନ୍ତରରେ ଓ ତୈଳ ପରି ତାହାର ଅସ୍ଥିରେ ପ୍ରବିଷ୍ଟ ହେଲା।

19ଏଣୁ ତାହା ତାହାର ପରିଧେୟ ବସ୍ତ୍ର ପରି ଓ ତାହାର ନିତ୍ୟ କଟିବନ୍ଧନ ପରି ହେଉ।

20ସଦାପ୍ରଭୁଙ୍କଠାରୁ ଆମ୍ଭ ବିପକ୍ଷଗଣର ଓ ଆମ୍ଭ ପ୍ରାଣ ବିରୁଦ୍ଧରେ ଦୁର୍ବାକ୍ୟବାଦୀମାନଙ୍କର ଏହି ଫଳ।

21ମାତ୍ର, ହେ ପ୍ରଭୋ ସଦାପ୍ରଭୋ, ତୁମ୍ଭେ ଆପଣା ନାମ ସକାଶୁ ମୋʼ ପ୍ରତି ବ୍ୟବହାର କର; ତୁମ୍ଭର ଦୟା ମଙ୍ଗଳମୟ, ଏଣୁ ମୋତେ ଉଦ୍ଧାର କର।

22କାରଣ ମୁଁ ଦୁଃଖୀ ଓ ଦୀନହୀନ ଅଟେ, ଓ ମୋʼ ଅନ୍ତରରେ ମୋʼ ହୃଦୟ କ୍ଷତବିକ୍ଷତ ହୋଇଅଛି।

23ମୁଁ ଅପରାହ୍ନର ଛାୟା ତୁଲ୍ୟ ଅତୀତ; ମୁଁ ପଙ୍ଗପାଳ ନ୍ୟାୟ ଚାଳିତ ହେଉଅଛି।

24ଉପବାସରେ ମୋʼ ଆଣ୍ଠୁ ଦୁର୍ବଳ ଅଛି ଓ ମେଦର ଅଭାବରୁ ମୋʼ ମାଂସ କ୍ଷୀଣ ହୁଏ।

25ଆହୁରି, ମୁଁ ସେମାନଙ୍କ ନିକଟରେ ନିନ୍ଦାପାତ୍ର ହୋଇଅଛି; ସେମାନେ ମୋତେ ଦେଖିଲେ ମୁଣ୍ଡ ହଲାନ୍ତି।

26ହେ ସଦାପ୍ରଭୋ, ମୋହର ପରମେଶ୍ୱର, ମୋହର ସାହାଯ୍ୟ କର; ତୁମ୍ଭ ଦୟାନୁସାରେ ମୋହର ପରିତ୍ରାଣ କର।

27ତହିଁରେ ଏହି ତୁମ୍ଭର ହସ୍ତ ବୋଲି ଓ ତୁମ୍ଭେ ସଦାପ୍ରଭୁ ଏହା କରିଅଛ ବୋଲି ସେମାନେ ଜାଣିବେ।

28ସେମାନେ ଅଭିଶାପ ଦେଉନ୍ତୁ, ମାତ୍ର ତୁମ୍ଭେ ଆଶୀର୍ବାଦ କର; ସେମାନେ ଉଠିଲେ ଲଜ୍ଜିତ ହେବେ, ମାତ୍ର ତୁମ୍ଭର ଦାସ ଆନନ୍ଦ କରିବ।

29ମୋʼ ବିପକ୍ଷମାନେ ଅପମାନରେ ବସ୍ତ୍ରାନ୍ୱିତ ହେବେ, ପୁଣି, ସେମାନେ ଉତ୍ତରୀୟ ବସ୍ତ୍ର ତୁଲ୍ୟ ନିଜ ଲଜ୍ଜାରେ ଆଚ୍ଛନ୍ନ ହେଉନ୍ତୁ।

30ମୁଁ ନିଜ ମୁଖରେ ସଦାପ୍ରଭୁଙ୍କୁ ଅତିଶୟ ଧନ୍ୟବାଦ ଦେବି; ପୁଣି, ଲୋକସମୂହ ମଧ୍ୟରେ ତାହାଙ୍କର ପ୍ରଶଂସା କରିବି।

31କାରଣ ସେ ଦୀନହୀନକୁ ତାହାର ପ୍ରାଣର ବିଚାରକାରୀମାନଙ୍କଠାରୁ ତ୍ରାଣ କରିବା ନିମନ୍ତେ ତାହାର ଡାହାଣରେ ଠିଆ ହେବେ।+ 109:31 ତାହାର ଡାହାଣରେ ଠିଆ ହେବେ। ଅର୍ଥାତ୍‍ ତାହାର ସାହାଯ୍ୟ କରିବେ

>