ଗୀତସଂହିତା 135:1-21 IRVOry - Bible AI

1ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର। ତୁମ୍ଭେମାନେ ସଦାପ୍ରଭୁଙ୍କ ନାମର ପ୍ରଶଂସା କର; ହେ ସଦାପ୍ରଭୁଙ୍କ ଦାସମାନେ, ତାହାଙ୍କର ପ୍ରଶଂସା କର।

2ସଦାପ୍ରଭୁଙ୍କ ଗୃହରେ, ଆମ୍ଭମାନଙ୍କ ପରମେଶ୍ୱରଙ୍କ ଗୃହ-ପ୍ରାଙ୍ଗଣରେ ସେବା କରୁଥାଅ ଯେ ତୁମ୍ଭେମାନେ

3ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର; କାରଣ ସଦାପ୍ରଭୁ ମଙ୍ଗଳମୟ; ତାହାଙ୍କ ନାମ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କର; କାରଣ ତାହା ମନୋହର।

4ଯେହେତୁ ସଦାପ୍ରଭୁ ଆପଣା ନିମନ୍ତେ ଯାକୁବକୁ ଓ ନିଜର ସଞ୍ଚିତ ଧନ ରୂପେ ଇସ୍ରାଏଲକୁ ମନୋନୀତ କରିଅଛନ୍ତି।

5କାରଣ ମୁଁ ଜାଣେ, ସଦାପ୍ରଭୁ ମହାନ ଓ ଆମ୍ଭମାନଙ୍କ ପ୍ରଭୁ ସକଳ ଦେବତାଗଣ ଅପେକ୍ଷା ଶ୍ରେଷ୍ଠ।

6ଆକାଶରେ ଓ ପୃଥିବୀରେ, ସମୁଦ୍ରରେ ଓ ସମଗ୍ର ବାରିଧିରେ ସଦାପ୍ରଭୁ ଯାହା ଇଚ୍ଛା କଲେ, ତାହା କରିଅଛନ୍ତି।

7ସେ ପୃଥିବୀର ପ୍ରାନ୍ତରୁ ବାଷ୍ପ ଉଠାନ୍ତି; ସେ ବୃଷ୍ଟି ନିମନ୍ତେ ବିଜୁଳି ଉତ୍ପନ୍ନ କରନ୍ତି; ସେ ଆପଣା ଭଣ୍ଡାରସମୂହରୁ ବାୟୁ ବାହାର କରି ଆଣନ୍ତି।

8ସେ ମିସରର ପ୍ରଥମଜାତ ମନୁଷ୍ୟ ଓ ପଶୁ ଉଭୟକୁ ସଂହାର କଲେ।

9ହେ ମିସର, ସେ ତୁମ୍ଭ ମଧ୍ୟକୁ, ଫାରୋ ପ୍ରତିକୂଳରେ, ତାହାର ଦାସଗଣ ପ୍ରତିକୂଳରେ ନାନା ଚିହ୍ନ ଓ ଅଦ୍ଭୁତ ଲକ୍ଷଣ ପ୍ରେରଣ କଲେ।

10ସେ ଅନେକ ଗୋଷ୍ଠୀଙ୍କୁ ସଂହାର କଲେ, ପରାକ୍ରାନ୍ତ ରାଜାମାନଙ୍କୁ,

11ଇମୋରୀୟମାନଙ୍କ ରାଜା ସୀହୋନକୁ ଓ ବାଶନର ରାଜା ଓଗ୍‍କୁ, ଆଉ କିଣାନର ସକଳ ରାଜ୍ୟକୁ ବଧ କଲେ।

12ପୁଣି, ସେମାନଙ୍କର ଦେଶ ଅଧିକାର ନିମନ୍ତେ ଦେଲେ, ଆପଣା ଲୋକ ଇସ୍ରାଏଲକୁ ଅଧିକାରାର୍ଥେ ଦେଲେ।

13ହେ ସଦାପ୍ରଭୋ, ତୁମ୍ଭ ନାମ ଅନନ୍ତକାଳସ୍ଥାୟୀ; ହେ ସଦାପ୍ରଭୋ, ତୁମ୍ଭ ସ୍ମରଣ ପୁରୁଷ-ପରମ୍ପରାରେ ଥାଏ।

14ଯେହେତୁ ସଦାପ୍ରଭୁ ଆପଣା ଲୋକମାନଙ୍କର ବିଚାର କରିବେ ଓ ଆପଣା ଦାସମାନଙ୍କ ପ୍ରତି ସଦୟ ହେବେ।

15ଅନ୍ୟ ଦେଶୀୟମାନଙ୍କ ପ୍ରତିମାସବୁ ରୂପା ଓ ସୁନା, ମନୁଷ୍ୟର ହସ୍ତକୃତ କର୍ମ ଅଟେ।

16ସେମାନଙ୍କର ମୁଖ ଅଛି, ମାତ୍ର ସେମାନେ କଥା କହନ୍ତି ନାହିଁ, ସେମାନଙ୍କର ଚକ୍ଷୁ ଅଛି, ମାତ୍ର ସେମାନେ ଦେଖନ୍ତି ନାହିଁ;

17ସେମାନଙ୍କର କର୍ଣ୍ଣ ଅଛି, ମାତ୍ର ସେମାନେ ଶୁଣନ୍ତି ନାହିଁ; କିଅବା ସେମାନଙ୍କ ମୁଖରେ ନିଶ୍ୱାସପ୍ରଶ୍ୱାସ ନାହିଁ।

18ସେମାନଙ୍କର ନିର୍ମାଣକାରୀମାନେ ଓ ସେମାନଙ୍କଠାରେ ନିର୍ଭରକାରୀ ପ୍ରତ୍ୟେକେ ସେମାନଙ୍କ ତୁଲ୍ୟ ହେବେ।

19ହେ ଇସ୍ରାଏଲ ବଂଶ, ତୁମ୍ଭେମାନେ ସଦାପ୍ରଭୁଙ୍କର ଧନ୍ୟବାଦ କର; ହେ ହାରୋଣ-ବଂଶ, ତୁମ୍ଭେମାନେ ସଦାପ୍ରଭୁଙ୍କର ଧନ୍ୟବାଦ କର;

20ହେ ଲେବୀ-ବଂଶ, ତୁମ୍ଭେମାନେ ସଦାପ୍ରଭୁଙ୍କର ଧନ୍ୟବାଦ କର। ହେ ସଦାପ୍ରଭୁଙ୍କ ଭୟକାରୀଗଣ, ତୁମ୍ଭେମାନେ ସଦାପ୍ରଭୁଙ୍କର ଧନ୍ୟବାଦ କର।

21ଯିରୂଶାଲମବାସୀ ସଦାପ୍ରଭୁ ସିୟୋନଠାରୁ ଧନ୍ୟ ହେଉନ୍ତୁ। ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର।

>