1ହେ ମୋହର ପରମେଶ୍ୱର, ମୋʼ ଶତ୍ରୁଗଣଠାରୁ ମୋତେ ଉଦ୍ଧାର କର; ମୋʼ ବିରୁଦ୍ଧରେ ଉତ୍ଥିତ ଲୋକମାନଙ୍କଠାରୁ ମୋତେ ଉଚ୍ଚରେ ସ୍ଥାପନ କର।
2ଅଧର୍ମାଚାରୀମାନଙ୍କଠାରୁ ମୋତେ ଉଦ୍ଧାର କର, ରକ୍ତପିପାସୁ ଲୋକମାନଙ୍କଠାରୁ ମୋତେ ରକ୍ଷା କର।
3କାରଣ ଦେଖ, ସେମାନେ ମୋʼ ପ୍ରାଣ ପାଇଁ ଛକି ବସନ୍ତି; ବଳବାନମାନେ ମୋʼ ବିରୁଦ୍ଧରେ ଏକତ୍ରିତ ହୁଅନ୍ତି; ହେ ସଦାପ୍ରଭୋ, ମୋହର ଅପରାଧ କିଅବା ମୋʼ ପାପ ସକାଶୁ ନୁହେଁ।
4ମୋହର ବିନା ଦୋଷରେ ସେମାନେ ଦଉଡ଼ି ପ୍ରସ୍ତୁତ ହୁଅନ୍ତି; ତୁମ୍ଭେ ମୋହର ସାହାଯ୍ୟ ପାଇଁ ଜାଗ ଓ ଦୃଷ୍ଟିପାତ କର।
5ହେ ସଦାପ୍ରଭୋ, ସୈନ୍ୟାଧିପତି ପରମେଶ୍ୱର, ଇସ୍ରାଏଲର ପରମେଶ୍ୱର, ତୁମ୍ଭେ ହିଁ ଅନ୍ୟ ଦେଶୀୟ ସମସ୍ତଙ୍କୁ ପ୍ରତିଫଳ ଦେବା ପାଇଁ ଉଠ; କୌଣସି ଦୁଷ୍ଟ ଅଧର୍ମକାରୀମାନଙ୍କୁ ଦୟା କର ନାହିଁ। [ସେଲା]
6ସେମାନେ ସନ୍ଧ୍ୟାକାଳେ ଫେରିଆସି କୁକ୍କୁର ପରି ଶବ୍ଦ କରନ୍ତି ଓ ନଗର ଚାରିଆଡ଼େ ଭ୍ରମଣ କରନ୍ତି।
7ଦେଖ, ସେମାନେ ଆପଣା ଆପଣା ମୁଖରୁ ଉଦ୍ଗାର କରନ୍ତି; ସେମାନଙ୍କ ଓଷ୍ଠାଧରରେ ଖଡ୍ଗ ଥାଏ; କାରଣ ସେମାନେ କହନ୍ତି, “କିଏ ଆମ୍ଭମାନଙ୍କୁ ଶୁଣିବ?”
8ମାତ୍ର ହେ ସଦାପ୍ରଭୋ, ତୁମ୍ଭେ ସେମାନଙ୍କ ପ୍ରତି ହସିବ; ତୁମ୍ଭେ ଅନ୍ୟ ଦେଶୀୟ ସମସ୍ତଙ୍କୁ ବିଦ୍ରୂପ କରିବ।
9ହେ ମୋହର ବଳ ସ୍ୱରୂପ, ମୁଁ ତୁମ୍ଭର ଅନୁସରଣ କରିବି; କାରଣ ପରମେଶ୍ୱର ମୋହର ଉଚ୍ଚ ଦୁର୍ଗ ଅଟନ୍ତି।
10ମୋହର ଦୟାବାନ ପରମେଶ୍ୱର ମୋହର ସମ୍ମୁଖବର୍ତ୍ତୀ ହେବେ; ପରମେଶ୍ୱର ମୋʼ ଶତ୍ରୁମାନଙ୍କ ଉପରେ ମୋʼ ବାଞ୍ଛା ସଫଳ ହେବାର ମୋତେ ଦେଖାଇବେ।
11ସେମାନଙ୍କୁ ବଧ କର ନାହିଁ, କେଜାଣି ମୋʼ ଲୋକମାନେ ପାସୋରି ଯିବେ; ହେ ଆମ୍ଭମାନଙ୍କ ଢାଲ ସ୍ୱରୂପ ପ୍ରଭୋ, ତୁମ୍ଭ ପରାକ୍ରମରେ ସେମାନଙ୍କୁ ଛିନ୍ନଭିନ୍ନ କରି ଅଧୋନତ କର।
12ସେମାନଙ୍କ ମୁଖର ପାପ ଓ ସେମାନଙ୍କ ଓଷ୍ଠାଧରର ବାକ୍ୟ, ପୁଣି, ସେମାନଙ୍କର କଥିତ ଅଭିଶାପ ଓ ମିଥ୍ୟା ସକାଶୁ ସେମାନେ ଆପଣା ଆପଣା ଅହଙ୍କାରରେ ଧରା ଯାଉନ୍ତୁ।
13ଯେପରି ସେମାନେ ଆଉ ନ ଥିବେ, ଏଥିପାଇଁ ସେମାନଙ୍କୁ କୋପରେ ସଂହାର କର, ସେମାନଙ୍କୁ ସଂହାର କର; ପୁଣି, ପରମେଶ୍ୱର ଯେ ଯାକୁବ+ 59:13 ଯାକୁବ ଅର୍ଥାତ୍ ଇସ୍ରାଏଲ ମଧ୍ୟରେ, ପୃଥିବୀର ପ୍ରାନ୍ତ ପର୍ଯ୍ୟନ୍ତ କର୍ତ୍ତୃତ୍ୱ କରନ୍ତି, ଏହା ସେମାନେ ଜ୍ଞାତ ହେଉନ୍ତୁ। [ସେଲା]
14ଆଉ, ସେମାନେ ସନ୍ଧ୍ୟା ବେଳେ ଫେରିଆସି କୁକ୍କୁର ପରି ଶବ୍ଦ କରନ୍ତୁ ଓ ନଗର ଚତୁର୍ଦ୍ଦିଗରେ ଭ୍ରମଣ କରନ୍ତୁ।
15ସେମାନେ ଖାଦ୍ୟ ନିମନ୍ତେ ଏଣେତେଣେ ଭ୍ରମଣ କରିବେ। ପୁଣି, ସେମାନେ ତୃପ୍ତ ନୋହିଲେ ସାରାରାତ୍ରି ରହିବେ।+ 59:15 ସାରାରାତ୍ରି ରହିବେ। କିମ୍ବା ଅସନ୍ତୋଷ ହେବେ
16ମାତ୍ର ମୁଁ ତୁମ୍ଭ ପରାକ୍ରମ ବିଷୟ ଗାନ କରିବି ଓ ପ୍ରଭାତରେ ତୁମ୍ଭ ଦୟା ବିଷୟ ଉଚ୍ଚସ୍ୱରରେ ଗାନ କରିବି; କାରଣ ତୁମ୍ଭେ ମୋହର ଉଚ୍ଚ ଦୁର୍ଗ ଓ ବିପଦ ଦିନରେ ଆଶ୍ରୟ ସ୍ୱରୂପ ହୋଇଅଛ।
17ହେ ମୋହର ବଳ ସ୍ୱରୂପ, ମୁଁ ତୁମ୍ଭ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କରିବି; ଯେଣୁ ପରମେଶ୍ୱର ମୋହର ଉଚ୍ଚ ଦୁର୍ଗ, ମୋହର ଦୟାବାନ ପରମେଶ୍ୱର।