ଗୀତସଂହିତା 66:1-20 IRVOry - Bible AI

1ହେ ସମୁଦାୟ ପୃଥିବୀ, ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଆନନ୍ଦଧ୍ୱନି କର।

2ତାହାଙ୍କ ନାମର ମହିମା କୀର୍ତ୍ତନ କର; ତାହାଙ୍କ ପ୍ରଶଂସାକୁ ଗୌରବାନ୍ୱିତ କର।

3ପରମେଶ୍ୱରଙ୍କୁ କୁହ, “ତୁମ୍ଭ କର୍ମସକଳ କିପରି ଭୟଙ୍କର! ତୁମ୍ଭ ପରାକ୍ରମର ମହତ୍ତ୍ୱ ଦ୍ୱାରା ତୁମ୍ଭ ଶତ୍ରୁଗଣ ଆପେ ତୁମ୍ଭର ବଶୀଭୂତ ହେବେ।

4ସମୁଦାୟ ପୃଥିବୀ ତୁମ୍ଭଙ୍କୁ ପ୍ରଣାମ କରିବେ ଓ ତୁମ୍ଭ ଉଦ୍ଦେଶ୍ୟରେ ଗାନ କରିବେ; ସେମାନେ ତୁମ୍ଭ ନାମ କୀର୍ତ୍ତନ କରିବେ।”

5ଆସ ଓ ପରମେଶ୍ୱରଙ୍କ କ୍ରିୟାସକଳ ଦେଖ; ମନୁଷ୍ୟ-ସନ୍ତାନଗଣ ପ୍ରତି ଆପଣା କ୍ରିୟାରେ ସେ ଭୟଙ୍କର ଅଟନ୍ତି।

6ସେ ସମୁଦ୍ରକୁ ଶୁଷ୍କ ଭୂମି କଲେ; ଲୋକମାନେ ନଦୀ ମଧ୍ୟଦେଇ ପାଦରେ ଗମନ କଲେ; ସେହି ସ୍ଥାନରେ ଆମ୍ଭେମାନେ ତାହାଙ୍କଠାରେ ଆନନ୍ଦ କଲୁ।

7ସେ ଆପଣା ପରାକ୍ରମରେ ଅନନ୍ତକାଳ କର୍ତ୍ତୃତ୍ୱ କରନ୍ତି; ତାହାଙ୍କ ଚକ୍ଷୁ ଗୋଷ୍ଠୀସମୂହକୁ ନିରୀକ୍ଷଣ କରେ; ବିଦ୍ରୋହୀମାନେ ଆପଣାମାନଙ୍କୁ ଉନ୍ନତ ନ କରନ୍ତୁ। [ସେଲା]

8ହେ ଜନବୃନ୍ଦ, ତୁମ୍ଭେମାନେ ଆମ୍ଭମାନଙ୍କ ପରମେଶ୍ୱରଙ୍କର ଧନ୍ୟବାଦ କର ଓ ତାହାଙ୍କ ପ୍ରଶଂସାର ଧ୍ୱନି ଶୁଣାଅ;

9ସେ ଆମ୍ଭମାନଙ୍କ ପ୍ରାଣକୁ ଜୀବଦ୍ଦଶାରେ ରଖନ୍ତି ଓ ଆମ୍ଭମାନଙ୍କ ଚରଣକୁ ବିଚଳିତ ହେବାକୁ ଦିଅନ୍ତି ନାହିଁ।

10କାରଣ ହେ ପରମେଶ୍ୱର, ତୁମ୍ଭେ ଆମ୍ଭମାନଙ୍କୁ ପରୀକ୍ଷା କରିଅଛ; ରୂପା ପରଖିଲା ପରି ତୁମ୍ଭେ ଆମ୍ଭମାନଙ୍କୁ ପରଖିଅଛ।

11ତୁମ୍ଭେ ଆମ୍ଭମାନଙ୍କୁ ଜାଲରେ ପକାଇଅଛ, ତୁମ୍ଭେ ଆମ୍ଭମାନଙ୍କ କଟିଦେଶରେ ଭାରୀ ବୋଝ ଥୋଇଅଛ।

12ତୁମ୍ଭେ ଆମ୍ଭମାନଙ୍କ ମସ୍ତକ ଉପରେ ଲୋକମାନଙ୍କୁ ଚଢ଼ିବାକୁ ଦେଇଅଛ; ଆମ୍ଭେମାନେ ଅଗ୍ନି ଓ ଜଳ ମଧ୍ୟଦେଇ ଗମନ କଲୁ; ମାତ୍ର ତୁମ୍ଭେ ଆମ୍ଭମାନଙ୍କୁ ଧନାଢ଼୍ୟ ସ୍ଥାନକୁ ଆଣିଅଛ।

13ମୁଁ ହୋମବଳି ନେଇ ତୁମ୍ଭ ଗୃହକୁ ଆସିବି, ମୁଁ ସଙ୍କଟରେ ଥିଲା ବେଳେ

14ମୋʼ ଓଷ୍ଠାଧର ଯାହା ଉଚ୍ଚାରଣ କରିଅଛି ଓ ମୋʼ ମୁଖ ଯାହା କହିଅଛି, ମୋହର ସେହି ସବୁ ମାନତ ତୁମ୍ଭ ଉଦ୍ଦେଶ୍ୟରେ ପୂର୍ଣ୍ଣ କରିବି।

15ମୁଁ ତୁମ୍ଭ ଉଦ୍ଦେଶ୍ୟରେ ମେଷରୂପ ଧୂପ ସହିତ ହୃଷ୍ଟପୁଷ୍ଟ ହୋମବଳି ଉତ୍ସର୍ଗ କରିବି; ମୁଁ ଛାଗ ସଙ୍ଗେ ବୃଷ ବଳିଦାନ କରିବି। [ସେଲା]

16ହେ ପରମେଶ୍ୱରଙ୍କ ଭୟକାରୀ ସମସ୍ତେ, ଆସ ଶୁଣ, ଆଉ ସେ ଆମ୍ଭ ପ୍ରାଣ ପାଇଁ ଯାହା କରିଅଛନ୍ତି, ତାହା ମୁଁ ବର୍ଣ୍ଣନା କରିବି।

17ମୁଁ ଆପଣା ମୁଖରେ ତାହାଙ୍କୁ ଡାକିଲି ଓ ମୋʼ ଜିହ୍ୱା ଦ୍ୱାରା ସେ ପ୍ରତିଷ୍ଠିତ ହେଲେ।

18ଯଦି ମୁଁ ମନ ମଧ୍ୟରେ ଅଧର୍ମକୁ ଆଦର କରେ, ତେବେ ପ୍ରଭୁ ମୋʼ କଥା ଶୁଣିବେ ନାହିଁ;

19ମାତ୍ର ନିଶ୍ଚୟ ପରମେଶ୍ୱର ମୋʼ କଥା ଶୁଣିଅଛନ୍ତି, ସେ ମୋʼ ପ୍ରାର୍ଥନାର ରବରେ ମନୋଯୋଗ କରିଅଛନ୍ତି।

20ପରମେଶ୍ୱର ଧନ୍ୟ ହେଉନ୍ତୁ, ସେ ମୋହର ପ୍ରାର୍ଥନା କିଅବା ମୋʼ ଠାରୁ ଆପଣା ଦୟା ଦୂର କରି ନାହାନ୍ତି।