ଯିରିମୀୟ ଭବିଷ୍ୟଦ୍ବକ୍ତାଙ୍କ ପୁସ୍ତକ 4:1-30 IRVOry - Bible AI

1ସଦାପ୍ରଭୁ କହନ୍ତି, “ହେ ଇସ୍ରାଏଲ, ଯଦି ତୁମ୍ଭେ ଫେରିବ,

2ଆଉ, ତୁମ୍ଭେ ସତ୍ୟରେ, ନ୍ୟାୟରେ ଓ ଧାର୍ମିକତାରେ

3କାରଣ ସଦାପ୍ରଭୁ ଯିହୁଦାର ଓ ଯିରୂଶାଲମର ଲୋକମାନଙ୍କୁ ଏହି କଥା କହନ୍ତି,

4ହେ ଯିହୁଦାର ଲୋକେ ଓ ଯିରୂଶାଲମର ନିବାସୀଗଣ, ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆପଣାମାନଙ୍କୁ ସୁନ୍ନତ କର ଓ ଆପଣା ଆପଣା ହୃଦୟର ଅଗ୍ରଚର୍ମ କାଢ଼ି ପକାଅ; ନୋହିଲେ ତୁମ୍ଭମାନଙ୍କ କ୍ରିୟାର ଦୁଷ୍ଟତା ସକାଶୁ ଆମ୍ଭର କୋପ ଅଗ୍ନି ତୁଲ୍ୟ ବାହାରି ପ୍ରଜ୍ୱଳିତ ହେବ ଓ କେହି ତାହା ଲିଭାଇ ପାରିବ ନାହିଁ।”

5ତୁମ୍ଭେମାନେ ଯିହୁଦାରେ ପ୍ରଚାର କର ଓ ଯିରୂଶାଲମରେ ଘୋଷଣା କର; “ଆଉ କୁହ, ତୁମ୍ଭେମାନେ ଦେଶରେ ତୂରୀ ବଜାଅ; ଉଚ୍ଚସ୍ୱର କରି କୁହ, ‘ତୁମ୍ଭେମାନେ ଏକତ୍ର ହୁଅ, ଆସ, ଆମ୍ଭେମାନେ ଦୃଢ଼ ନଗରମାନଙ୍କୁ ଯାଉ।’

6ସିୟୋନ ଆଡ଼େ ଧ୍ୱଜା ଟେକ, ରକ୍ଷା ନିମନ୍ତେ ପଳାଅ, ବିଳମ୍ବ କର ନାହିଁ; କାରଣ ଆମ୍ଭେ ଉତ୍ତର ଦିଗରୁ ଅମଙ୍ଗଳ ଓ ମହାବିନାଶ ଆଣିବା।

7ସିଂହ ଆପଣା ଗହ୍ୱରରୁ ବାହାରିଅଛି, ନାନା ଦେଶୀୟମାନଙ୍କର ବିନାଶକ ଆସୁଅଛି; ତୁମ୍ଭ ନଗରସମୂହ ଯେପରି ଉଚ୍ଛିନ୍ନ, ନିବାସୀବିହୀନ ହେବ, ଏଥିପାଇଁ ତୁମ୍ଭ ଦେଶକୁ ଉଜାଡ଼ କରିବାକୁ ସେ ବାଟରେ ଅଛି, ସେ ଆପଣା ସ୍ଥାନରୁ ବାହାରିଅଛି।

8ଏଥିସକାଶୁ ତୁମ୍ଭେମାନେ ଚଟ ପିନ୍ଧି ବିଳାପ ଓ ହାହାକାର କର; କାରଣ ସଦାପ୍ରଭୁଙ୍କର ପ୍ରଚଣ୍ଡ କ୍ରୋଧ ଆମ୍ଭମାନଙ୍କଠାରୁ ଫେରି ନାହିଁ।”

9ପୁଣି ସଦାପ୍ରଭୁ କହନ୍ତି, “ସେହି ଦିନ ରାଜାର ହୃଦୟ ଓ ଅଧିପତିଗଣର ହୃଦୟ କ୍ଷୟ ପାଇବ ଓ ଯାଜକଗଣ ଚମତ୍କୃତ ହେବେ ଓ ଭବିଷ୍ୟଦ୍‍ବକ୍ତାମାନେ ବିସ୍ମୟାପନ୍ନ ହେବେ।”

10ଏଥିରେ ମୁଁ କହିଲି, “ହାୟ ହାୟ, ହେ ପ୍ରଭୁ, ସଦାପ୍ରଭୁ, ତୁମ୍ଭେ ଏହି ଲୋକମାନଙ୍କୁ ଓ ଯିରୂଶାଲମକୁ ତୁମ୍ଭମାନଙ୍କର ଶାନ୍ତି ହେବ ବୋଲି କହି ନିଶ୍ଚୟ ଅତିଶୟ ଭ୍ରାନ୍ତ କରିଅଛ; ଯେହେତୁ ଖଡ୍ଗ ପ୍ରାଣକୁ ଆଘାତ କରୁଅଛି।”

11ସେହି ସମୟରେ ଏହି ଲୋକମାନଙ୍କୁ ଓ ଯିରୂଶାଲମକୁ କୁହାଯିବ, “ପ୍ରାନ୍ତରସ୍ଥ ବୃକ୍ଷଶୂନ୍ୟ ଉଚ୍ଚସ୍ଥଳୀରୁ ଆମ୍ଭ ଲୋକମାନଙ୍କର କନ୍ୟା ଆଡ଼କୁ ଉଷ୍ମ ବାୟୁ ଆସୁଅଛି, ତାହା ଶସ୍ୟ ଝାଡ଼ିବା କି ପରିଷ୍କାର କରିବା ନିମନ୍ତେ ନୁହେଁ;

12ସେହି ସବୁ ସ୍ଥାନରୁ ଘୂର୍ଣ୍ଣିବାୟୁ ଆମ୍ଭ ସପକ୍ଷରେ ଆସିବ; ଏବେ ଆମ୍ଭେ ହିଁ ଲୋକମାନଙ୍କ ବିରୁଦ୍ଧରେ ଦଣ୍ଡାଜ୍ଞା ପ୍ରକାଶ କରିବା।”

13ଦେଖ, ସେ ମେଘମାଳା ତୁଲ୍ୟ ଆସୁଅଛି, ତାହାର ରଥସବୁ ଘୂର୍ଣ୍ଣିବାୟୁ ସ୍ୱରୂପ ହେବ; ତାହାର ଅଶ୍ୱଗଣ ଉତ୍କ୍ରୋଶ ପକ୍ଷୀ ଅପେକ୍ଷା ଦ୍ରୁତଗାମୀ। ହାୟ ହାୟ! ଆମ୍ଭେମାନେ ବିନଷ୍ଟ ହେଲୁ।

14ହେ ଯିରୂଶାଲମ, ଉଦ୍ଧାର ପାଇବା ନିମନ୍ତେ ଦୁଷ୍ଟତାରୁ ଆପଣା ହୃଦୟ ଧୁଅ। ତୁମ୍ଭର ମନ୍ଦ କଳ୍ପନାସବୁ କେତେ କାଳ ତୁମ୍ଭ ମଧ୍ୟରେ ବାସ କରିବ?

15କାରଣ ଦାନ୍ ନଗରଠାରୁ ଏକ ରବ ପ୍ରଚାର କରେ ଓ ଇଫ୍ରୟିମ ପର୍ବତମାଳାରୁ ଅମଙ୍ଗଳ ଘୋଷଣା କରେ;

16ତୁମ୍ଭେମାନେ ନାନା ଦେଶୀୟମାନଙ୍କୁ ଜଣାଅ; ଦେଖ, ଯିରୂଶାଲମ ବିରୁଦ୍ଧରେ ଘୋଷଣା କର, “ଦୂର ଦେଶରୁ ଅବରୋଧକାରୀମାନେ ଆସୁଅଛନ୍ତି ଓ ସେମାନେ ଯିହୁଦାର ନଗରସମୂହର ବିରୁଦ୍ଧରେ ହୁଙ୍କାର କରୁଅଛନ୍ତି।

17ସେମାନେ କ୍ଷେତ୍ର ରକ୍ଷକମାନଙ୍କ ପରି ତାହାର ଚାରିଆଡ଼େ ଅଛନ୍ତି, କାରଣ ସଦାପ୍ରଭୁ କହନ୍ତି, ସେ ଆମ୍ଭର ବିଦ୍ରୋହାଚାରିଣୀ ହୋଇଅଛି।

18ତୁମ୍ଭର ଆଚରଣ ଓ ତୁମ୍ଭର କ୍ରିୟା ଏହିସବୁ ତୁମ୍ଭ ପ୍ରତି ଘଟାଇଅଛି; ଏହା ତୁମ୍ଭ ଦୁଷ୍ଟତାର ଫଳ, ହଁ, ତାହା ତିକ୍ତ, ହଁ, ତାହା ମର୍ମଭେଦକ।”

19ହାୟ, ମୋହର ପ୍ରାଣ! ମୋହର ପ୍ରାଣ! ମୁଁ ହୃଦୟରେ ବ୍ୟଥିତ ଅଛି; ମୋର ହୃଦୟ ମୋʼ ମଧ୍ୟରେ ଅସ୍ଥିର ହେଉଅଛି; ମୁଁ ନୀରବ ରହି ନ ପାରେ; କାରଣ ହେ ମୋହର ପ୍ରାଣ, ତୁମ୍ଭେ ତୂରୀ ଶବ୍ଦ ଓ ଯୁଦ୍ଧର ନାଦ ଶୁଣିଅଛ।

20ବିନାଶ ଉପରେ ବିନାଶ ପ୍ରଚାରିତ ହେଉଅଛି; କାରଣ ସମୁଦାୟ ଦେଶ ଉଚ୍ଛିନ୍ନ ହୋଇଅଛି; ଅକସ୍ମାତ୍‍ ମୋହର ତମ୍ବୁ, ଏକ ନିମିଷ ମଧ୍ୟରେ ମୋହର ଆବରଣସବୁ ଉଚ୍ଛିନ୍ନ ହେଲା।

21ମୁଁ କେତେ କାଳ ପତାକା ଦେଖିବି ଓ ତୂରୀର ଶବ୍ଦ ଶୁଣିବି?

22“କାରଣ ଆମ୍ଭର ଲୋକମାନେ ଅଜ୍ଞାନ, ସେମାନେ ଆମ୍ଭକୁ ଚିହ୍ନନ୍ତି ନାହିଁ; ସେମାନେ ନିର୍ବୋଧ ବାଳକ, ସେମାନଙ୍କର କିଛି ବିବେଚନା ନାହିଁ; ସେମାନେ କୁକର୍ମ କରିବାକୁ ନିପୁଣ, ମାତ୍ର ସୁକର୍ମ କରିବାକୁ ସେମାନଙ୍କର କିଛି ଜ୍ଞାନ ନାହିଁ।”

23ମୁଁ ପୃଥିବୀକୁ ଅନାଇଲି, ଆଉ ଦେଖ, ତାହା ନିର୍ଜନ ଓ ଶୂନ୍ୟ ଥିଲା; ଆକାଶମଣ୍ଡଳକୁ ଅନାଇଲି, ଆଉ ତହିଁରେ ଦୀପ୍ତି ନ ଥିଲା।

24ମୁଁ ପର୍ବତମାଳାକୁ ଅନାଇଲି, ଆଉ ଦେଖ, ସେସବୁ କମ୍ପିଲେ ଓ ଉପପର୍ବତସବୁ ଏଣେତେଣେ ଦୋହଲିଲେ।

25ମୁଁ ଅନାଇଲି, ଆଉ ଦେଖ, କେହି ମନୁଷ୍ୟ ନ ଥିଲା ଓ ଆକାଶର ପକ୍ଷୀସବୁ ପଳାଇ ଯାଇଥିଲେ।

26ମୁଁ ଅନାଇଲି, ଆଉ ଦେଖ, ସଦାପ୍ରଭୁଙ୍କ ଛାମୁରେ ଓ ତାହାଙ୍କ ପ୍ରଚଣ୍ଡ କ୍ରୋଧ ସମ୍ମୁଖରେ ଉର୍ବରା କ୍ଷେତ୍ର, ମରୁଭୂମି ଓ ତହିଁର ନଗରସକଳ ଭଗ୍ନ ହୋଇଥିଲା।

27କାରଣ ସଦାପ୍ରଭୁ ଏହି କଥା କହନ୍ତି, “ସମୁଦାୟ ଦେଶ ଧ୍ୱଂସସ୍ଥାନ ହେବ; ତଥାପି ଆମ୍ଭେ ସମ୍ପୂର୍ଣ୍ଣ ରୂପେ ନାଶ କରିବା ନାହିଁ।

28ଏଥିସକାଶୁ ପୃଥିବୀ ଶୋକ କରିବ ଓ ଉପରିସ୍ଥ ଆକାଶମଣ୍ଡଳ ଅନ୍ଧକାର ହେବ; କାରଣ ଆମ୍ଭେ ଏହା କହିଅଛୁ, ଆମ୍ଭେ ଏହା ମନରେ ସ୍ଥିର କରିଅଛୁ ଓ ଆମ୍ଭେ ଦୁଃଖିତ ହୋଇ ନାହୁଁ, କିଅବା ଆମ୍ଭେ ଏଥିରୁ ଫେରିବୁ ନାହିଁ।”

29ଅଶ୍ୱାରୋହୀ ଓ ଧନୁର୍ଦ୍ଧାରୀମାନଙ୍କ ରବ ସକାଶୁ ସମୁଦାୟ ନଗର ପଳାୟନ କରେ; ସେମାନେ ନିବିଡ଼ ବନକୁ ଯାଆନ୍ତି ଓ ଶୈଳ ଉପରେ ଚଢ଼ନ୍ତି; ପ୍ରତ୍ୟେକ ନଗର ତ୍ୟକ୍ତ ହୋଇଅଛି ଓ ତହିଁ ମଧ୍ୟରେ ଜଣେ ମନୁଷ୍ୟ ସୁଦ୍ଧା ବାସ କରେ ନାହିଁ।

30ଆଉ, ତୁମ୍ଭେ ଯେତେବେଳେ ଉଚ୍ଛିନ୍ନ ହେବ, ସେତେବେଳେ ତୁମ୍ଭେ କଅଣ କରିବ? ଯଦ୍ୟପି ତୁମ୍ଭେ ରକ୍ତବର୍ଣ୍ଣ ବସ୍ତ୍ର ପରିଧାନ କରୁଅଛ, ଯଦ୍ୟପି ତୁମ୍ଭେ ସୁବର୍ଣ୍ଣ ଅଳଙ୍କାରରେ ଆପଣାକୁ ଭୂଷିତା କରୁଅଛ, ଯଦ୍ୟପି ତୁମ୍ଭେ ଅଞ୍ଜନ ଦ୍ୱାରା ଆପଣା ଚକ୍ଷୁ ପ୍ରସାରୁଅଛ, ତଥାପି ତୁମ୍ଭେ ବ୍ୟର୍ଥରେ ଆପଣାକୁ ସୁନ୍ଦର କରୁଅଛ; ତୁମ୍ଭର ଜାରପୁରୁଷମାନେ ତୁମ୍ଭକୁ ଘୃଣା କରନ୍ତି, ସେମାନେ ତୁମ୍ଭ ପ୍ରାଣନାଶ କରିବାକୁ ଚେଷ୍ଟା କରନ୍ତି।

Copyright © 2019 by Bridge Connectivity Solutions. Licensed under a Creative Commons Attribution-ShareAlike 4.0 International License.