ଯିଶାଇୟ ଭବିଷ୍ୟଦ୍ବକ୍ତାଙ୍କର ପୁସ୍ତକ 36:1-21 IRVOry - Bible AI

1ହିଜକୀୟ ରାଜାଙ୍କ ରାଜତ୍ଵର ଚତୁର୍ଦ୍ଦଶ ବର୍ଷରେ ଅଶୂରର ରାଜା ସନ୍‍‌‌ହେରୀବ ଯିହୁଦାର ପ୍ରାଚୀର-ବେଷ୍ଟିତ ନଗରସବୁର ବିରୁଦ୍ଧରେ ଆସି ତାହାସବୁ ହସ୍ତଗତ କଲା।

2ତହିଁରେ ଅଶୂରର ରାଜା ରବ୍‍ଶାକିକୁ ମହାସୈନ୍ୟ ସହିତ ଲାଖୀଶ୍‍ଠାରୁ ଯିରୂଶାଲମକୁ ହିଜକୀୟ ରାଜା ନିକଟକୁ ପଠାଇଲା। ଆଉ, ସେ ରଜକର କ୍ଷେତ୍ର ପଥସ୍ଥିତ ଉପର ପୁଷ୍କରିଣୀର ନାଳ ନିକଟରେ ଠିଆ ହେଲା।

3ତେବେ ହିଲ୍‍କୀୟର ପୁତ୍ର ଇଲିୟାକୀମ୍‍ ନାମକ ରାଜଗୃହାଧ୍ୟକ୍ଷ, ଶିବ୍‍ନ ଲେଖକ ଓ ଆସଫର ପୁତ୍ର ଯୋୟାହ ନାମକ ଇତିହାସ ଲେଖକ ବାହାର ହୋଇ ତାହା ନିକଟକୁ ଆସିଲେ।

4ତହିଁରେ ରବ୍‍ଶାକି ସେମାନଙ୍କୁ କହିଲା, “ଏବେ ତୁମ୍ଭେମାନେ ହିଜକୀୟକୁ କୁହ, ‘ମହାରାଜ ଅଶୂରର ରାଜା ଏହି କଥା କହନ୍ତି, ତୁମ୍ଭେ ଏହି ଯେଉଁ ବିଶ୍ୱାସ କରୁଅଛ, ତାହା କିରୂପ ବିଶ୍ୱାସ?

5ମୁଁ କହୁଅଛି, ଯୁଦ୍ଧ କରିବା ପାଇଁ ତୁମ୍ଭର ମନ୍ତ୍ରଣା ଓ ବଳ କେବଳ ବୃଥା କଥା; ତୁମ୍ଭେ କାହା ଉପରେ ନିର୍ଭର କରି ମୋହର ବିଦ୍ରୋହୀ ହୋଇଅଛ?

6ଦେଖ, ତୁମ୍ଭେ ଏହି ଛେଚାନଳର ଯଷ୍ଟି ରୂପ ମିସର ଉପରେ ନିର୍ଭର କରୁଅଛ; ମାତ୍ର କେହି ତହିଁ ଉପରେ ଆଉଜିଲେ, ତାହା ତାହାର ହାତରେ ପଶି ଫୋଡ଼ି ପକାଇବ; ଯେଉଁମାନେ ମିସରୀୟ ରାଜା ଫାରୋ ଉପରେ ନିର୍ଭର ରଖନ୍ତି, ସେସମସ୍ତଙ୍କ ପ୍ରତି ସେ ତ ଏହି ପ୍ରକାର।

7ମାତ୍ର ଯଦି ତୁମ୍ଭେ ମୋତେ କୁହ, ଆମ୍ଭେମାନେ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ୱରଙ୍କ ଉପରେ ନିର୍ଭର ରଖୁଅଛୁ; ତେବେ ହିଜକୀୟ ଯାହାଙ୍କ ଉଚ୍ଚସ୍ଥଳୀ ଓ ଯାହାଙ୍କ ଯଜ୍ଞବେଦିସବୁ ଦୂର କରିଦେଇଅଛି, ଆଉ ଯିହୁଦାକୁ ଓ ଯିରୂଶାଲମକୁ କହିଅଛି, ତୁମ୍ଭେମାନେ ଏହି ଯଜ୍ଞବେଦି ସମ୍ମୁଖରେ ପ୍ରଣାମ କରିବ, ସେ କʼଣ ସେହି ନୁହନ୍ତି?

8ଏହେତୁ ମୁଁ ବିନୟ କରୁଅଛି, ମୋʼ ପ୍ରଭୁ ଅଶୂରର ରାଜାଙ୍କ ସଙ୍ଗେ ପଣ କର, ମୁଁ ତୁମ୍ଭକୁ ଦୁଇ ହଜାର ଅଶ୍ୱ ଦେବି, ଯଦି ତୁମ୍ଭେ ପାର, ତେବେ ସେମାନଙ୍କ ଉପରେ ଚଢ଼ିବା ପାଇଁ ତୁମ୍ଭ ଆଡ଼ୁ ଲୋକ ଆଣ।

9ତେବେ କିପରି ତୁମ୍ଭେ ମୋʼ ପ୍ରଭୁଙ୍କ ଦାସମାନଙ୍କ ମଧ୍ୟରୁ ଏକ କ୍ଷୁଦ୍ରତମ ସେନାପତିକୁ ବିମୁଖ କରି ପାରିବ, ଆଉ ରଥ ଓ ଅଶ୍ୱାରୋହୀ ନିମନ୍ତେ ମିସର ଉପରେ ବିଶ୍ୱାସ କରିବ?

10ମୁଁ କʼଣ ସଦାପ୍ରଭୁଙ୍କ ବିନା ଏହି ସ୍ଥାନ ଧ୍ୱଂସ କରିବାକୁ ଆସିଅଛି? ସଦାପ୍ରଭୁ ମୋତେ କହିଲେ, ଏହି ଦେଶ ବିରୁଦ୍ଧରେ ଯାଇ ତାହା ଧ୍ୱଂସ କର।’”

11ଏଥିରେ ଇଲିୟାକୀମ୍‍, ଶିବ୍‍ନ ଓ ଯୋୟାହ ରବ୍‍ଶାକିକୁ କହିଲେ, “ବିନୟ କରୁଅଛୁ, ଆପଣ ଅରାମୀୟ ଭାଷାରେ ଆପଣା ଦାସମାନଙ୍କୁ କୁହନ୍ତୁ; କାରଣ ଆମ୍ଭେମାନେ ତାହା ବୁଝୁଅଛୁ; ପୁଣି, ପ୍ରାଚୀରର ଉପରିସ୍ଥ ଲୋକମାନଙ୍କ କର୍ଣ୍ଣଗୋଚରରେ ଆମ୍ଭମାନଙ୍କୁ ଯିହୁଦୀୟ ଭାଷାରେ ନ କୁହନ୍ତୁ।”

12ମାତ୍ର ରବ୍‍ଶାକି ସେମାନଙ୍କୁ କହିଲା, “ମୋʼ ପ୍ରଭୁ କି ତୁମ୍ଭ ପ୍ରଭୁଙ୍କୁ ଓ ତୁମ୍ଭଙ୍କୁ ଏହିସବୁ କଥା କହିବା ପାଇଁ ମୋତେ ପଠାଇଅଛନ୍ତି? ଏହି ଯେଉଁ ଲୋକମାନେ ତୁମ୍ଭମାନଙ୍କ ସଙ୍ଗେ ଆପଣା ଆପଣା ବିଷ୍ଠା ଖାଇବାକୁ ଓ ମୂତ୍ର ପିଇବାକୁ ପ୍ରାଚୀର ଉପରେ ବସିଅଛନ୍ତି, ସେମାନଙ୍କ ନିକଟକୁ କʼଣ ମୋତେ ପଠାଇ ନାହାନ୍ତି?”

13ତହୁଁ ରବ୍‍ଶାକି ଠିଆ ହୋଇ ଉଚ୍ଚସ୍ୱରରେ ଯିହୁଦୀୟ ଭାଷାରେ ଏହି କଥା କହିଲା, “ତୁମ୍ଭେମାନେ ମହାରାଜ ଅଶୂରର ରାଜାଙ୍କ କଥା ଶୁଣ।

14ରାଜା ଏହି କଥା କହନ୍ତି, ‘ତୁମ୍ଭମାନଙ୍କୁ ଭୁଲାଇବା ପାଇଁ ହିଜକୀୟକୁ ଦିଅ ନାହିଁ; କାରଣ ସେ ତୁମ୍ଭମାନଙ୍କୁ ଉଦ୍ଧାର କରି ପାରିବ ନାହିଁ;

15କିଅବା ସଦାପ୍ରଭୁ ନିଶ୍ଚୟ ଆମ୍ଭମାନଙ୍କୁ ଉଦ୍ଧାର କରିବେ ଓ ଏହି ନଗର ଅଶୂରୀୟ ରାଜାର ହସ୍ତଗତ ହେବ ନାହିଁ, ଏହି କଥା କହି ହିଜକୀୟ ତୁମ୍ଭମାନଙ୍କୁ ସଦାପ୍ରଭୁଙ୍କଠାରେ ବିଶ୍ୱାସ ନ କରାଉ।

16ହିଜକୀୟର କଥା ଶୁଣ ନାହିଁ; କାରଣ ଅଶୂରୀୟ ରାଜା ଏହି କଥା କୁହନ୍ତି, ତୁମ୍ଭେମାନେ ମୋʼ ସଙ୍ଗେ ସନ୍ଧି କର ଓ ମୋʼ କତିକି ବାହାରି ଆସ ଓ ପ୍ରତ୍ୟେକେ ଆପଣା ଆପଣା ଦ୍ରାକ୍ଷାଫଳ ଓ ପ୍ରତ୍ୟେକେ ଆପଣା ଆପଣା ଡିମ୍ବିରି ଫଳ ଭୋଜନ କର, ଆଉ ପ୍ରତ୍ୟେକେ ଆପଣା ଆପଣା କୂପ ଜଳ ପାନ କର;

17ଶେଷରେ ମୁଁ ଆସି ତୁମ୍ଭମାନଙ୍କର ସ୍ୱଦେଶ ତୁଲ୍ୟ ଏକ ଦେଶକୁ, ଅର୍ଥାତ୍‍, ଶସ୍ୟ ଓ ଦ୍ରାକ୍ଷାରସମୟ ଦେଶ, ଆଉ ରୁଟି ଓ ଦ୍ରାକ୍ଷାକ୍ଷେତ୍ରମୟ ଦେଶକୁ ତୁମ୍ଭମାନଙ୍କୁ ନେଇଯିବି।

18ସଦାପ୍ରଭୁ ଆମ୍ଭମାନଙ୍କୁ ଉଦ୍ଧାର କରିବେ ବୋଲି କହି ହିଜକୀୟ ଯେପରି ତୁମ୍ଭମାନଙ୍କୁ ନ ମଣାଏ, ଏଥିପାଇଁ ସାବଧାନ ହୁଅ। ନାନା ଗୋଷ୍ଠୀୟମାନଙ୍କର ଦେବତାଗଣ ମଧ୍ୟରୁ କୌଣସି ଦେବତା କʼଣ ଅଶୂରୀୟ ରାଜା ହସ୍ତରୁ ଆପଣା ଦେଶ ଉଦ୍ଧାର କରିଅଛି?

19ହମାତର ଓ ଅର୍ପଦର ଦେବତାମାନେ କାହାନ୍ତି? ସଫର୍ବୟିମର ଦେବତାମାନେ କାହାନ୍ତି? ଓ ସେମାନେ କʼଣ ମୋʼ ହସ୍ତରୁ ଶମରୀୟାକୁ ଉଦ୍ଧାର କରିଅଛନ୍ତି?

20ଏହିସବୁ ଦେଶର ଦେବତାଗଣ ମଧ୍ୟରୁ କେଉଁ ଦେବତାମାନେ ମୋʼ ହସ୍ତରୁ ଆପଣାମାନଙ୍କର ଦେଶ ଉଦ୍ଧାର କରିଅଛନ୍ତି ଯେ, ସଦାପ୍ରଭୁ ମୋʼ ହସ୍ତରୁ ଯିରୂଶାଲମକୁ ଉଦ୍ଧାର କରିବେ?’”

21ମାତ୍ର ଲୋକମାନେ ନୀରବ ହୋଇ ରହିଲେ, ତାହାକୁ ପଦେ ମାତ୍ର ଉତ୍ତର କଲେ ନାହିଁ; କାରଣ ତାହାକୁ ଉତ୍ତର ନ ଦିଅ ବୋଲି ରାଜାର ଆଜ୍ଞା ଥିଲା।

Copyright © 2019 by Bridge Connectivity Solutions. Licensed under a Creative Commons Attribution-ShareAlike 4.0 International License.
>